ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ ! ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା
ରାଜ୍ୟରେ ଆଜିଠାରୁ ପ୍ରବଳ ବର୍ଷା ଆକଳନ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳରୁ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବନୁମାନ କରିଛି । ଆସନ୍ତା ୨୫ ତାରିଖ ଯାଏ ରାଜ୍ୟର ବିସ୍ତୃତ ଅଞ୍ଚଳରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି । ଗୁରୁବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି । ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କଟକ, ବୌଦ୍ଧ, ସୋନପୁର, ବଲାଙ୍ଗୀର ଓ ବରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ଭାରୀ ବର୍ଷା ସମ୍ଭାବନା ଅଛି । ସେହିଭଳି ଦକ୍ଷିଣ ଓଡିଶା, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉତ୍ତର ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୧ରେ ସୋନପୁର, ବଲାଙ୍ଗୀର, ସମ୍ବଲପୁର, ବୌଦ୍ଧ, ଅନୁଗୁଳ, କଟକ ଓ ଜଗତସିଂପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସୁନ୍ଦରଗଡ଼ରେ ଭାରୀ ବର୍ଷା ହୋଇପାରେ ବୋଲି ସତର୍କତା ଜାରି କରାଯାଇଛି । ୨୩ ତାରିଖ ଯାଏ ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।
