ରାଜ୍ୟ

ଜନ୍ମବେଦୀରେ ବିରାଜିଲେ ଚତୁର୍ଦ୍ଧାମୂର୍ତ୍ତି, କାଲିଠୁ ମିଳିବ ଆଡ଼ପ ଅବଢା

Spread the love

ଗୋଟିଏ ଦିନର ବିଳମ୍ବ ପରେ ଗୁରୁବାର ଜନ୍ମବେଦୀ ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ବିରାଜିଲେ ଚତୁର୍ଦ୍ଧା ମୂରତି । ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ରଥ ଉପରେ ଶ୍ରୀବିଗ୍ରହଙ୍କ ସମସ୍ତ ନୀତିକାନ୍ତି ଅନୁଷ୍ଠିତ ହୋଇଥିଲା। ସନ୍ଧ୍ୟାଧୂପ ପରେ ଗୋଟି ପହଣ୍ଡିରେ ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା ଏବଂ ବଡ ଠାକୁର ଜଗନ୍ନାଥ ଜନ୍ମବେଦୀକୁ ଯାଇଛନ୍ତି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଶରଧାବାଲିରେ ଭକ୍ତଙ୍କ ପ୍ରବଳ ଗହଳି ଲାଗି ରହିଛି। ରତ୍ନବେଦୀରୁ ଜନ୍ମବେଦୀରେ ପହଞ୍ଚିଛନ୍ତି ଚତୁର୍ଦ୍ଧା ମୂରତୀ । ଏଥିସହ ରଥଯାତ୍ରା ଶାନ୍ତି ଶୃଙ୍ଖଳାର ସହ ସଂପନ୍ନ ହୋଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ଵାର ସମ୍ମୁଖରେ ଦଣ୍ଡାୟମାନ ତିନି ରଥ। ଗୁରୁବାର ରଥ ଉପରେ ହିଁ ମହାପ୍ରଭୁଙ୍କ ଦୈନନ୍ଦିନ ନୀତିକାନ୍ତି ଅନୁଷ୍ଠିତ ହୋଇଥିଲା। ମଙ୍ଗଳଆଳତୀ, ମଇଲମ, ତଡ଼ପ ଲାଗି, ଅବକାଶ, ଗୋପାଳ ବଲ୍ଲଭ ଭୋଗ ପରେ ସକାଳଧୂପ, ଭୋଗମଣ୍ଡପ ଓ ମଧ୍ୟାହ୍ନ ଧୂପ ସଂପନ୍ନ ହୋଇଥିଲା। ମାଘସ୍ନାନ, ସଂଧ୍ୟାଆଳତୀ, ପୁଷ୍ପାଞ୍ଜଳି ଓ ଡୋରଲାଗି ପରେ ଚାରମାଳ ବନ୍ଧାଯାଇ ଅପରାହ୍ନରେ ପହଣ୍ଡି ଆରମ୍ଭ ହୋଇଥିଲା।ପ୍ରଥମେ ବଳଭଦ୍ର ପହଣ୍ଡି ବିଜେରେ ଆଡପ ମଣ୍ଡପରେ ବିଜେ କରିଥିଲେ। ଏହା ପରେ ଭଉଣୀ ସୁଭଦ୍ରା ଜନ୍ମବେଦୀକୁ ଫେରିଥିଲେ। ଶେଷରେ ଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଟାହିଆ ହଲାଇ ପହଣ୍ଡି ବିଜେ କରିଥିଲେ ମହାବାହୁ। ଜଗନ୍ନାଥ ଧ୍ଵନୀରେ ଉଚ୍ଛୁଳି ଉଠିଥିଲା ଶରଧାବାଲି ଓ ମାଉସୀ ମା ମନ୍ଦିର। ମହାପ୍ରଭୁ ଆଡପ ମଣ୍ଡପରେ ଥିଲେ ବି ଭକ୍ତ ଦର୍ଶନ କରିପାରିବେ ନାହିଁ। ଆଡ଼ପ ମଣ୍ଡପରେ ଶ୍ରୀଜିଉ ପହଞ୍ଚିବା ପରେ ଦହି ପଖାଳ ଭୋଗ, ବଡ଼ସିଂହାର ବେଶ ଓ ରାତ୍ର ପହୁଡ ହେବ। ଆସନ୍ତାକାଲି ଠାରୁ ଆଡ଼ପ ଅଭଡ଼ା ବାହାରିବ। ଗୁଣ୍ଡିଚା ମନ୍ଦିର ଆଡ଼ପ ଅଭଡ଼ା ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଉଛି।

Leave a Reply

Your email address will not be published. Required fields are marked *